Sat. Feb 21st, 2026

ନ୍ୟୁଜ ଡେକ୍ସ : ଆଜି ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥି । ଆଜିଠାରୁ ଆରମ୍ଭ ହୋଇଛି ପିତୃପକ୍ଷ । ସେଥିପାଇଁ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ତୀର୍ଥ ପୁଷ୍କରିଣୀ ଓ ଶ୍ରୀମନ୍ଦିର ନିକଟରେ ଲାଗିଛି ଶ୍ରଦ୍ଧାଳୁ ଭିଡ । ହଜାର ହଜାର ଶ୍ରଦ୍ଧାଳୁ ନିଜ ନିଜ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରୁଛନ୍ତି ।

ଦୀର୍ଘ ୧୫ ଦିନ ଧରି ପିତୃପୁରୁଷମାନଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧି ରହିଥିବା ବେଳେ ଆସନ୍ତା ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ପିତୃପକ୍ଷ ଚାଲୁ ରହିବ । ପିତୃପକ୍ଷ ଅବସରରେ ଆଜି ପୁରୀର ତୀର୍ଥରାଜ ମହୋଦଧି, ଶ୍ୱେତଗଙ୍ଗା, ମାର୍କଣ୍ଡେୟ, ଇନ୍ଦ୍ରଦ୍ୟୁମ୍ନ ଓ ନରେନ୍ଦ୍ର ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ସ୍ନାନକରି ତିଳତର୍ପଣ କରିବାକୁ ଲୋକଙ୍କ ବହୁ ଭିଡ ଦେଖିବାକୁ ମିଳିଛି । ତେଣୁ ଶ୍ରଦ୍ଧାର ସହ ଶ୍ରାଦ୍ଧ ଏହି ସମୟରେ ରୀତିନୀତି ଅନୁସାରେ କରାଯାଇଥାଏ । ପିତୃ ପୁରୁଷମାନେ ସେମାନଙ୍କ ବଂଶଧରମାନଙ୍କ ଦ୍ୱାରା କରାଯାଇଥିବା ତର୍ପଣ, ଶ୍ରାଦ୍ଧ ଏବଂ ପିଣ୍ଡଦାନ ଇତ୍ୟାଦିରେ ସନ୍ତୁଷ୍ଟ ହୋଇ ସେମାନେ ବଂଶ ବୃଦ୍ଧି, ସୁଖ ଏବଂ ସମୃଦ୍ଧତା ପାଇଁ ଆଶୀର୍ବାଦ କରିଥାନ୍ତି ।

ଶ୍ରୀମନ୍ଦିର ନିକଟରେ ତିଳତର୍ପଣ କଲେ ପିତୃପୁରୁଷ ସନ୍ତୁଷ୍ଟ ହୋଇଥାନ୍ତି ବୋଲି ବିଶ୍ୱାସ ରହିଛି । ହିନ୍ଦୁ ଧାର୍ମିକ ପରମ୍ପରାରେ ପିତୃପୁରୁଷଙ୍କ ପାଇଁ ପାଳନ କରାଯାଉଥିବା ବିଭିନ୍ନ ଶ୍ରାଦ୍ଧ କର୍ମ ମଧ୍ୟରେ ମହାଳୟା ଶ୍ରେଷ୍ଠତମ । ଏହି ଅବସରରେ ପିତୃପକ୍ଷରେ ଯେକୌଣସି ଦିନ ନିଜର ସାଧ୍ୟ ମତେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ବ୍ରାହ୍ମଣ ଭୋଜନ ଦିଆଯାଏ । ଏହାଦ୍ୱାରା ପୂଣ୍ୟ ଲାଭ ଏବଂ ବଂଶର ଉତ୍ତର ପିଢ଼ିର ସକଳ ଉନ୍ନତି ହେଉଥିବା ବିଶ୍ୱାସ କରାଯାଏ ।

Leave a Reply

Your email address will not be published. Required fields are marked *