Sat. Feb 21st, 2026

ନ୍ୟୁଜ ଡେକ୍ସ : ପୁରୀ ଶ୍ରୀମନ୍ଦିରରେ ଆଜି ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ମା ଶୁଭଦ୍ରାଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ସମାପ୍ତି ପରେ ଏହି ଗୁପ୍ତ ନୀତି ଆରମ୍ଭ ହେବ। ଏହା ପାଇଁ ଅପରାହ୍ଣ ପ୍ରାୟ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ, ମୋଟ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ବନକଲାଗି ନୀତି ମହାପ୍ରଭୁଙ୍କର ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଏହି ସମୟରେ ଜୟ-ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ।ଏହି ନୀତି ପାଇଁ ଦତ୍ତମହାପାତ୍ର ସେବକମାନେ ପାରମ୍ପରିକ ପ୍ରଣାଳୀରେ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।

ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗ ବ୍ୟବହାର କରି ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯାଏ। ଗୁପ୍ତ ସେବା ନୀତି ଥିବାରୁ ବନକଲାଗି ଚାଲୁଥିବା ସମୟରେ ଶ୍ରୀଜୀଉଙ୍କ ଦର୍ଶନ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିବ। ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।

Leave a Reply

Your email address will not be published. Required fields are marked *