Mon. Apr 20th, 2026

ନ୍ୟୁଜ ଡେକ୍ସ : ଓଡିଶା ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ଆସନ୍ତାକାଲି ପର୍ଯ୍ୟନ୍ତ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାକୁ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ଆଜି ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ଜିଲ୍ଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।ସେହିପରି ରାଜ୍ୟର ୨୨ଟି ଜିଲ୍ଲାକୁ ୟେଲୋ ସତର୍କତା ଜାରି କରାଯାଇଛି। ଏହି ସମସ୍ତ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି।

ଆସନ୍ତା ୯ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବା ଆଶଙ୍କା ରହିଛି। ଅନ୍ୟ ଜିଲ୍ଲାଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ୧୦ ତାରିଖରୁ ପୁଣି ରାଜ୍ୟରେ ପାଗ ଶୁଖିଲା ରହିବା ସମ୍ଭାବନା ରହିଛି। ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ଥିବାରୁ ଲୋକମାନଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।

Leave a Reply

Your email address will not be published. Required fields are marked *