ନ୍ୟୁଜ ଡେକ୍ସ : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୁଳସ୍ଥ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ଆଜି ରାଜ୍ୟର ଅନେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ଆଗାମୀ ୪୮ ଘଣ୍ଟାରେ ବର୍ଷାର ପରିମାଣ ବଢ଼ିବ। ପାଣିପାଗ ବିଭାଗ ଆଜି ୨୪ଟି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି। ୭ରୁ ୧୧ ସେମି ବର୍ଷା ହେବାର ସମ୍ଭାବନା ରହିଛି।ସୋମବାର କୋରାପୁଟ ଓ ମାଲକାନଗିରି ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।
ଏହି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୯ ଅଗଷ୍ଟରେ କୋରାପୁଟ ଓ କଳାହାଣ୍ଡିରେ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି ରହିଛି। ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ପ୍ରବଳ ବର୍ଷା ହେବ।ମତ୍ସ୍ୟଜୀବୀମାନଙ୍କୁ ୧୮ରୁ ୨୦ ଅଗଷ୍ଟ ମଧ୍ୟରେ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି। ସମୁଦ୍ର ଅଶାନ୍ତ ରହିବ। ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସତର୍କ ରହିବାକୁ କୁହାଯାଇଛି। ଲଗାଣ ବର୍ଷା ଯୋଗୁଁ ସାଧାରଣ ଜୀବନ ବାଧାପ୍ରାପ୍ତ ହୋଇପାରେ।
