Sat. Feb 21st, 2026

ନ୍ୟୁଜ ଡେକ୍ସ: ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍ ଜୀବିତ ପିଲାଙ୍କ ପାଇଁ, ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି । କିନ୍ତୁ ମାତୃତ୍ଵ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ବ ଥିଲା । ଏବେ ସେହି ଦ୍ୱନ୍ଦ୍ୱ ଦୂର ହୋଇଛି ।

ମହିଳା ସରକାରୀ କର୍ମଚାରୀ ମାନେ ମାତୃତ୍ୱ ସମୟରେ ୧୮୦ଦିନର ଛୁଟି କେଉଁ ପରିସ୍ଥିତିରେ କିପରି ନେବେ, ସେ ସମ୍ପର୍କରେ ନିର୍ଦ୍ଦିଷ୍ଟ ନିୟମ ସ୍ଥିରୀକୃତ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହା ଦ୍ୱାରା ମହିଳା ସରକାରୀ କର୍ମଚାରୀ ମାନେ ମାତୃତ୍ୱ କ୍ଷେତ୍ରରେ ଛୁଟି ପାଇବାରେ ଯେଉଁ ସମସ୍ୟାର ସମ୍ମୁଖୀନ ହେଉଥିଲେ ତାହା ଦୂର ହୋଇଛି।ଜଣେ ମହିଳା ସରକାରୀ କର୍ମଚାରୀ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନ ଥାଇ ପରବର୍ତ୍ତୀ ସମୟରେ ସେବାରେ ଯୋଗ ଦେବା ପରେ ମାତୃତ୍ଵ ଛୁଟି ଉପଲବ୍ଧ କରିବା ଉପରେ ମଧ୍ୟ ଦ୍ୱନ୍ଦ୍ବ ଥିଲା ।

ସେ ସମସ୍ୟା ମଧ୍ୟ ଦୂର ହୋଇ ପାରିଛି। ଏହା ସହିତ ଗର୍ଭପାତ, ଜନ୍ମିତ ଶିଶୁର ମୃତ୍ୟୁ ଓ ମୃତ ଶିଶୁ ଜନ୍ମ କ୍ଷେତ୍ରରେ ମଧ୍ୟ ଛୁଟି ନେବାର ନିର୍ଦ୍ଦିଷ୍ଟ ନିୟମ କରାଯାଇଛି। ନୂତନ ନିଷ୍ପତ୍ତି ଅନୁଯାୟୀ, ସମ୍ଭାବ୍ୟ ପ୍ରସବ ତାରିଖର (Expected Delivery Date) ତିନି ମାସ ପୂର୍ବରୁ ଏବଂ ପ୍ରସବ ତାରିଖର ଛଅ ମାସ ମଧ୍ୟରେ, ଜଣେ ମହିଳା ସରକାରୀ କର୍ମଚାରୀ ୧୮୦ ଦିନର ମାତୃତ୍ଵ ଛୁଟି ନେଇପାରିବେ ।

ଯଦି ମାତୃତ୍ବ ଛୁଟି ସମୟରେ ଜଣେ ମହିଳା ସରକାରୀ କର୍ମଚାରୀଙ୍କୁ ଉଚ୍ଚ ପଦବୀକୁ ପଦୋନ୍ନତି ଦିଆଯାଏ, ତେବେ ତାଙ୍କର ସେହି ଉଚ୍ଚ ପଦବୀରେ ଯୋଗଦାନ ରିପୋର୍ଟ ଯେଉଁଦିନ ଉପଯୁକ୍ତ କର୍ତ୍ତୃପକ୍ଷ ପାଇବେ, ସେହିଦିନ ସେ ସେହି ଉଚ୍ଚ ପଦବୀରେ ଯୋଗଦେଲେ ବୋଲି ଧରାଯିବ । ସେ ତାଙ୍କର ମାତୃତ୍ବ ଛୁଟିର ଅବଶିଷ୍ଟ ଅବଧି ନିରବଚ୍ଛିନ୍ନ ଭାବେ ନେଇପାରିବେ ।ଜଣେ ମହିଳା ସରକାରୀ କର୍ମଚାରୀ ତାଙ୍କର ମାତୃତ୍ବ ଛୁଟି ଏକକାଳୀନ ନିରବଚ୍ଛିନ୍ନ ଭାବେ ବା ବିଭିନ୍ନ ପର୍ଯ୍ୟାୟରେ ନେଇପାରିବେ ।

Leave a Reply

Your email address will not be published. Required fields are marked *