Wed. Jun 17th, 2026

ନ୍ୟୁଜ ଡେକ୍ସ : ରାଜ୍ୟବାସୀଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ଆସନ୍ତା ତିନି ଦିନ ମଧ୍ୟରେ ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ମୌସୁମୀ ଆଗମନ ସହ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ ଅନୁକୂଳ ପରିସ୍ଥିତି ସୃଷ୍ଟି ହେଉଛି।ମୌସୁମୀ ପହଞ୍ଚିବା ପୂର୍ବରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରାକ୍ ମୌସୁମୀ ବର୍ଷା ସହ କାଳବୈଶାଖୀର ପ୍ରଭାବ ଜାରି ରହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଜୁନ୍ ମାସର ଦ୍ୱିତୀୟ ସପ୍ତାହ ଶେଷ ଆଡ଼କୁ ଅର୍ଥାତ୍ ୧୭ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ଯଦି ଏହି ଲଘୁଚାପ ଗଠିତ ହୁଏ, ତେବେ ମୌସୁମୀ ଅଧିକ ସକ୍ରିୟ ହେବା ସହ ରାଜ୍ୟରେ ବର୍ଷାର ପରିମାଣ ବଢ଼ିପାରେ।ଅନ୍ୟପଟେ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବା ନେଇ ପୂର୍ବାନୁମାନ କରାଯାଇଛି। ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅନେକ ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିବ। ଏନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।ଶୁକ୍ରବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ୧୮ଟି ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଏବଂ ୧୨ଟି ଜିଲ୍ଲା ପାଇଁ ହଳଦିଆ ସତର୍କତା ଜାରି କରାଯାଇଛି।

ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ସମେତ ଦକ୍ଷିଣ ଓଡ଼ିଶାର ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିବା ନେଇ ସୂଚନା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ବିଶେଷ ସତର୍କତା ଜାରି କରାଯାଇଛି।ଦୀର୍ଘ ଦିନର ପ୍ରଚଣ୍ଡ ଗରମ ପରେ ମୌସୁମୀ ବର୍ଷାର ଆଗମନ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ଦେବ ବୋଲି ଆଶା କରାଯାଉଛି। ଚାଷୀମାନଙ୍କ ପାଇଁ ମଧ୍ୟ ଏହି ବର୍ଷା ନୂଆ ଆଶା ଆଣିଛି।

Leave a Reply

Your email address will not be published. Required fields are marked *