ନ୍ୟୁଜ ଡେକ୍ସ : ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ସଂଲଗ୍ନ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଥିବାବେଳେ ଆସନ୍ତା ଦୁଇ ଦିନ ମଧ୍ୟରେ ଏହା ଆହୁରି ବଳ ଗୋଟାଇ ଘନୀଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।
ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଥିବାବେଳେ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି।କୋରାପୁଟ ଓ ମାଲକାନଗିରି ଜିଲ୍ଲା ପାଇଁ ପ୍ରବଳରୁ ଅତିପ୍ରବଳ ବର୍ଷାକୁ ନେଇ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ବାଲେଶ୍ୱର, କଟକ, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଧା ଓ ନୟାଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଆସନ୍ତାକାଲି କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।ପାଣିପାଗ ବିଭାଗ ପକ୍ଷରୁ ପ୍ରଭାବିତ ଜିଲ୍ଲାର ଲୋକଙ୍କୁ ସତର୍କ ରହିବା, ଅତ୍ୟାବଶ୍ୟକ ନ ହେଲେ ଘରୁ ବାହାରକୁ ନ ବାହାରିବା ଏବଂ ସ୍ଥାନୀୟ ପ୍ରଶାସନର ପରାମର୍ଶ ମାନିବାକୁ ଅନୁରୋଧ କରାଯାଇଛି।

