ନ୍ୟୁଜ ଡେକ୍ସ: ସୋମବାର ମାର୍ଗଶୀର କୃଷ୍ଣ ଦଶମୀ ତିଥି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ଚାରି ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପହର ଧୂପ ସରିବା ପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତା ଲାଗି କରିବେ।
ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବ। ନୀତି ସମ୍ପୂର୍ଣ୍ଣ ହେବା ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବ ଏବଂ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।