ନ୍ୟୁଜ ଡେକ୍ସ : ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଆସନ୍ତା ୯ ଜୁଲାଇରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କ ଗସ୍ତକୁ ସଫଳ ଓ ସୁଚାରୁ ଭାବେ ସମ୍ପନ୍ନ କରିବା ପାଇଁ ଆଜି ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।ବୈଠକରେ ଉପରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ସୁରକ୍ଷା, ପ୍ରୋଟୋକଲ, ଯାତାୟାତ, ଚିକିତ୍ସା, ମୌଳିକ ସୁବିଧା ଏବଂ ବିଭିନ୍ନ କାର୍ଯ୍ୟକ୍ରମର ସୁପରିଚାଳନା ସମ୍ପର୍କରେ ବିସ୍ତୃତ ସମୀକ୍ଷା କରାଯିବା ସହ ସମ୍ପୃକ୍ତ ବିଭାଗଗୁଡ଼ିକୁ ଆବଶ୍ୟକ ନିର୍ଦ୍ଦେଶ ପ୍ରଦାନ କରାଯାଇଛି।
ଗସ୍ତ କାର୍ଯ୍ୟସୂଚୀ ଅନୁଯାୟୀ, ଉପରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ କୃଷି ଶିକ୍ଷା ସଦନରେ ଗଭୀର ସମୁଦ୍ରରେ ମତ୍ସ୍ୟ ସମ୍ପଦର ସ୍ଥାୟୀ ଉପଯୋଗ ପାଇଁ ‘ଲେଟର ଅଫ୍ ଅଥରାଇଜେସନ୍’ର ଜାତୀୟ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ସେ ଖୋର୍ଦ୍ଧାସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଏବଂ ଗବେଷଣା ସଂସ୍ଥାନ (ନାଇଜର)ର ୧୫ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅଭିଭାଷଣ ପ୍ରଦାନ କରିବେ।
ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସମସ୍ତ ସମ୍ପୃକ୍ତ ବିଭାଗକୁ ଉପରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ସର୍ବୋଚ୍ଚ ସୁରକ୍ଷା ବ୍ୟବସ୍ଥା ସୁନିଶ୍ଚିତ କରିବା ସହ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ, ପାନୀୟଜଳ, ଅଗ୍ନି ନିର୍ବାପନ, ସ୍ୱଚ୍ଛତା, ସଡ଼କ ମରାମତି, ଚିକିତ୍ସା ସେବା, ଆମ୍ବୁଲାନ୍ସ ଓ ଯାନବାହନ ବ୍ୟବସ୍ଥା ଧାର୍ଯ୍ୟ ସମୟ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।ଗସ୍ତକୁ ସଫଳ କରିବା ପାଇଁ ସମସ୍ତ ବିଭାଗ ମଧ୍ୟରେ ନିବିଡ଼ ସମନ୍ୱୟ ରକ୍ଷା କରି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପ୍ରସ୍ତୁତି ଶେଷ କରିବାକୁ ବୈଠକରେ ଗୁରୁତ୍ୱାରୋପ କରାଯାଇଛି।

