ନ୍ୟୁଜ ଡେକ୍ସ : ରାଜ୍ୟରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ଜାରି ରହିବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ଆକଳନ ଅନୁସାରେ ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖାଯିବ। କାଲି ପାଇଁ କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବା ସହ କୁଆପଥର ପଡ଼ିବାର ସମ୍ଭାବନା ରହିଛି।
ସେଥିପାଇଁ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ।ଏହା ସହ ଆଜି ପାଇଁ କନ୍ଧମାଳ, ରାୟଗଡ଼ା, କୋରାପୁଟ, ଗଜପତି ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସବୁ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ଆସନ୍ତା ୨ ଦିନ ମଧ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି। କିନ୍ତୁ ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ ୩ ଡିଗ୍ରି ସେଲସିୟସ କମିପାରେ।
ଆସନ୍ତା ୨୦ ତାରିଖରେ ରାଜ୍ୟର ୨୪ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ପଶ୍ଚିମ ଓଡ଼ିଶାର ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେଉଁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଡ଼ୋ ପବନ ବହିବାର ଆଶଙ୍କା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ।ସେହିପରି ଆଗାମୀ ୫ ଦିନ ଧରି ରାଜ୍ୟରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଜାରି ରହିବାର ଆଶଙ୍କା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

