ନ୍ୟୁଜ ଡେକ୍ସ : ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଦକ୍ଷିଣ ବାଂଲାଦେଶ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।ଲଘୁଚାପର ପ୍ରଭାବରେ ଆଗାମୀ ସପ୍ତାହ ଭରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ବଢ଼ିବ।
କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ବିଭିନ୍ନ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।ଆଜି ମୟୂରଭଞ୍ଜ ଓ କୋରାପୁଟ ଜିଲ୍ଲା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୧୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।ରାଜ୍ୟର ଅନେକ ସ୍ଥାନରେ ଲଗାତାର ବର୍ଷା ହେତୁ ତାପମାତ୍ରା ହ୍ରାସ ପାଇଛି।
ଏଥିସହ ଗରମ ଓ ଗୁଳୁଗୁଳିରୁ ଲୋକମାନେ ସାମାନ୍ୟ ଆଶ୍ୱସ୍ତି ପାଇଛନ୍ତି। ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ପାଣିପାଗ ବିଭାଗ ପକ୍ଷରୁ ସାଧାରଣ ଲୋକଙ୍କୁ ସତର୍କ ରହିବା ସହ ସ୍ଥାନୀୟ ପ୍ରଶାସନର ପରାମର୍ଶ ମାନିବାକୁ ଅନୁରୋଧ କରାଯାଇଛି।

