ନ୍ୟୁଜ ଡେକ୍ସ : ଲଘୁଚାପଜନିତ ବର୍ଷା ଯୋଗୁଁ ସମଗ୍ର ଓଡ଼ିଶାରେ ପରିସ୍ଥିତି ଗମ୍ଭୀର ହେବାରେ ଲାଗିଛି। ବିଶେଷକରି ରାଜଧାନୀ ଭୁବନେଶ୍ୱର ସମେତ ଉପକୂଳରୁ ପଶ୍ଚିମ ଓଡ଼ିଶା ପର୍ଯ୍ୟନ୍ତ ଲଗାଣ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୧୧୨.୩ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ସହରର ବିଭିନ୍ନ ତଳିଆ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି।
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଚାନ୍ଦବାଲିରେ ୬୪.୬ ମିମି, ପୁରୀରେ ୫୫.୭ ମିମି, ବାଲେଶ୍ୱରରେ ୪୧.୪ ମିମି ଏବଂ ପାରାଦୀପରେ ୩୦.୨ ମିମି ବର୍ଷା ରେକର୍ଡ କରାଯାଇଛି। ଲଗାଣ ବର୍ଷା ଯୋଗୁଁ ଅନେକ ସ୍ଥାନରେ ଜନଜୀବନ ବ୍ୟାହତ ହୋଇଥିବା ବେଳେ ଜଳବନ୍ଦି ସମସ୍ୟା ମଧ୍ୟ ଦେଖାଦେଇଛି।ପ୍ରବଳ ବର୍ଷାର ଆଶଙ୍କାକୁ ଦୃଷ୍ଟିରେ ରଖି ପଶ୍ଚିମ ଓଡ଼ିଶାର ବରଗଡ଼, ସମ୍ବଲପୁର ଓ ନୂଆପଡ଼ା ଜିଲ୍ଲା ପାଇଁ ପାଣିପାଗ ବିଭାଗ ରେଡ୍ ୱାର୍ଣ୍ଣିଂ ଜାରି କରିଛି।
ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ଏବଂ କେତେକ ସ୍ଥାନରେ ଅତ୍ୟନ୍ତ ଭୟଙ୍କର ବର୍ଷା ହେବାର ସମ୍ଭାବନା ରହିଛି।ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସୋନପୁର, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଯୋଗାଯୋଗ ବ୍ୟବସ୍ଥା ବାଧାପ୍ରାପ୍ତ ହେବା ସହ କଞ୍ଚା ଘର କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି।ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ ସଜାଗ ରହିବା ସହ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସହରାଞ୍ଚଳରେ ଜଳ ନିଷ୍କାସନ, ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଏବଂ ଅନ୍ୟାନ୍ୟ ବିପଦଜନକ ପରିସ୍ଥିତି ଉପରେ କଡ଼ା ନଜର ରଖାଯାଉଛି। ରାଜ୍ୟ ସରକାର ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସ୍ଥିତିର ନିରନ୍ତର ସମୀକ୍ଷା କରୁଛନ୍ତି।

