Mon. Dec 23rd, 2024

ନ୍ୟୁଜ ଡେସ୍କ: ଆସନ୍ତା ୨୧ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଥମେ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ଘନୀଭୂତ ହୋଇ ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପ୍ରଭାବରେ ୨୨ ତାରିଖଠାରୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି, ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ। ଏହାର ପ୍ରଭାବରେ ୨୪ ତାରିଖରୁ ରାଜ୍ୟର ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଅନ୍ୟପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାକୁ ବଜ୍ରପାତ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ସେପଟେ ଗତକାଲି ସକାଳ ସାଢ଼େ ୮ଟାରୁ ଆଜି ପୂର୍ବାହ୍ନ ମଧ୍ୟରେ ରାଜ୍ୟରେ ହାରାହାରି ୨.୧ ମିମି ବର୍ଷା ହୋଇଛି। କୋରାପୁଟ ଜିଲ୍ଲାର କୋଟପାଡ଼ ବ୍ଲକରେ ସର୍ବାଧିକ ୬୩ ମିମି ବର୍ଷା ରେକର୍ଡ କରାଯାଇଛି। ଗଜପତି ଜିଲ୍ଲାର ଗୁମ୍ମା ଓ ନୂଆଗଡ଼ ବ୍ଲକରେ ୫୦ ମିମିରୁ ଅଧିକ ବର୍ଷା ହୋଇଛି।

Leave a Reply

Your email address will not be published. Required fields are marked *