ନ୍ୟୁଜ ଡେକ୍ସ: ବୁଧବାରଠାରୁ ରାଜ୍ୟରେ ବର୍ଷା ହେବ । ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ୨୦ ତାରିଖରୁ ଉତ୍ତର ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା ଅଛି ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି । ପ୍ରଫେସର ପଶୁପାଳକଙ୍କ ପୂର୍ବାନୁମାନ ଅନୁସାରେ, ୨୦ରୁ ୨୩ ତାରିଖ ଯାଏ ଉତ୍ତର ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।
ଗତକାଲି ମୟୂରଭଞ୍ଜ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା । ଆଜି ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ୨୦ରୁ ୨୩ ତାରିଖ ଯାଏ ଉତ୍ତର ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏହି ୪ ଦିନ ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜରେ ହାରାହାରି ୯୦ ମିମି ପର୍ଯ୍ୟନ୍ତ ବର୍ଷା ହେବ। ଯାଜପୁର, କେନ୍ଦୁଝର ଓ ଢେଙ୍କାନାଳରେ ୩୦ ମିମି ଯାଏ ବର୍ଷା ହୋଇପାରେ।
ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, କେନ୍ଦ୍ରାପଡ଼ା ଓ କଟକରେ ୫ରୁ ୧୫ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।ଆଜି ଉତ୍ତର ଓଡ଼ିଶାରେ ବିକ୍ଷିପ୍ତ ହାଲୁକା ବର୍ଷା ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆଗାମୀ ଦୁଇ ଦିନରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ବୃଦ୍ଧି ହୋଇପାରେ। ଏହା ପରେ ତାପମାତ୍ରା ଓ ପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
