ନ୍ୟୁଜ ଡେକ୍ସ:ମେ ମାସ ଶେଷ ବେଳକୁ ଉତ୍ତର ବଙ୍ଗୋପସାଗର ଉପରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଗେଇବା ସହିତ ଏହା ପ୍ରଭାବରେ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ସମ୍ଭବତଃ ୨୮ ଓ ୨୯ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି ।
ଆଜି ୧୮ ଜିଲ୍ଲାକୁ ଝଡ଼ ପବନ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼ ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ପବନର ଝଟ୍କା ୪୦ରୁ ୫୦ କିମି ଯାଏ ଛୁଇଁପାରେ। ଅନୁଗୁଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।
ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ ଘଡ଼ିସହ କିଛି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ। ବର୍ଷା ହେଲେ ବି ଗୁଳୁଗୁଳି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ବର୍ଷା ଯୋଗୁଁ ଉତ୍ତର ଆଭ୍ୟନ୍ତରୀଣ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ପ୍ରାୟ ୪-୫ ଡିଗ୍ରୀ ସେଲସିୟସ ହ୍ରାସ ହୋଇଥିବାବେଳେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରାୟ ୨ରୁ ୩ ଡିଗ୍ରୀ ସେଲସିୟସ ହ୍ରାସ ପାଇଛି।
